
PM mentions success of Kalahandi Pariba farmers
ମୋର ପ୍ରିୟ ଦେଶବାସୀଗଣ, ଆଜି ମୁଁ ଆପଣଙ୍କୁ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଏକ ଏଭଳି ପ୍ରୟାସ ବିଷୟରେ କହିବାକୁ ଚାହୁଁଛି, ଯାହା କମ୍ ପାଣି ଏବଂ କମ୍ ସଂସାଧନ ସତ୍ତ୍ୱେ ସଫଳତାର ନୂତନ କାହାଣୀ ଲେଖୁଛି । ଏହା ହେଉଛି କଳାହାଣ୍ଡିର ‘ସବଜି କ୍ରାନ୍ତି’ ବା ପରିବା ବିପ୍ଳବ । ସମୟ ଥିଲା ଯେଉଁଠି କୃଷକ ପଳାୟନ କରିବାକୁ ବାଧ୍ୟ ହେଉଥିଲା ଆଜି ସେଇଠି କଳାହାଣ୍ଡିର ଗୋଲମୁଣ୍ଡା ବ୍ଲକ୍ ଏକ ପରିବା ଭଣ୍ଡାରରେ ପରିଣତ ହୋଇଛି ।
ଏ ପରିବର୍ତ୍ତନ କିପରି ଆସିଲା ? ଏହାର ଆରମ୍ଭ ମାତ୍ର ୧୦ ଜଣ କୃଷକଙ୍କ ଗୋଟିଏ ଛୋଟିଆ ସମୂହ ଦ୍ୱାରା ହୋଇଥିଲା । ସେମାନେ ମିଳିମିଶି ଗୋଟିଏ FPO ବା କିଷାନ୍ ଉତ୍ପାଦକ ସଂଗଠନ ସ୍ଥାପନ କଲେ, ଚାଷରେ ଆଧୁନିକ କୌଶଳ ପ୍ରୟୋଗ କରିବା ଆରମ୍ଭ କଲେ ଏବଂ ଆଜି ସେମାନଙ୍କର ଏହି FPO କୋଟି କୋଟି ଟଙ୍କାର କାରବାର କରୁଛି । ଆଜି ୨୦୦ରୁ ଅଧିକ କୃଷକ ଏହି FPO ସହ ଯୋଡ଼ି ହୋଇଛନ୍ତି, ଯେଉଁମାନଙ୍କ ମଧ୍ୟରେ ୪୫ ଜଣ ମହିଳା ଚାଷୀ ମଧ୍ୟ ଅଛନ୍ତି । ଏହି ଲୋକମାନେ ମିଶି ୨୦୦ ଏକର ଜମିରେ ବିଲାତି ବାଇଗଣ ଚାଷ କରୁଛନ୍ତି ଏବଂ ୧୫୦ ଏକର ଜମିରେ କଲରା ଉତ୍ପାଦନ କରୁଛନ୍ତି ।
ଏବେ ଏହି FPOର ବାର୍ଷିକ କାରବାର ରାଶି ଦେଢ଼ କୋଟିରୁ ଅଧିକ ହୋଇଗଲାଣି । ଆଜି କଳାହାଣ୍ଡିର ପରିବା ଖାଲି ଓଡ଼ିଶାରେ ନୁହେଁ, ବରଂ ଅନ୍ୟ ରାଜ୍ୟମାନଙ୍କରେ ମଧ୍ୟ ପହଞ୍ଚୁଛି ଏବଂ ସେଠିକାର କୃଷକମାନେ ଏବେ ଆଳୁ ଏବଂ ପିଆଜ ଚାଷର ନୂତନ ପ୍ରଣାଳୀ ଶିଖୁଛନ୍ତି । ବନ୍ଧୁଗଣ, କଳାହାଣ୍ଡିର ଏହି ସଫଳତା ଆମକୁ ଶିଖଉଛି ଯେ ସଂକଳ୍ପ, ଶକ୍ତି ଏବଂ ସାମୂହିକ ପ୍ରଚେଷ୍ଟା ଦ୍ୱାରା କ’ଣ କରାଯାଇ ନ ପାରେ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି :-
ନିଜ ଅଞ୍ଚଳରେ FPO ଗଠନକୁ ଉତ୍ସାହିତ କରନ୍ତୁ । କୃଷକ ଉତ୍ପାଦକ ସଂଗଠନଗୁଡ଼ିକ ସହିତ ଯୋଡ଼ିହୁଅନ୍ତୁ ଏବଂ ସେଗୁଡ଼ିକୁ ମଜଭୁତ୍ କରନ୍ତୁ । ମନେରଖନ୍ତୁ – ଛୋଟିଆ ପ୍ରୟାସରୁ ମଧ୍ୟ ବଡ଼ ପରିବର୍ତ୍ତନ ସମ୍ଭବ ହୁଏ । ଖାଲି ଆମର ଦୃଢ଼ ସଂକଳ୍ପ ଏବଂ ସାମୂହିକ ଭାବନାର ଆବଶ୍ୟକତା ରହିଛି ।
READ MORE:
Share your comments