News

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍

ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା.....

10 July, 2024 10:21 AM IST By: Tanushree Mahapatra

ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ କ୍ରିୟାନ୍ୱୟନ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ରାଜ୍ୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ ରହିଛି । ଏହା ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ଉନ୍ନତି ଆଣିବ l

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଏହା, ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଲା ମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀର ଯୋଜନା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ ।

ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ମୋଦୀ ସରକାରଙ୍କ ଯୋଜନା ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ ଶ୍ରୀସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି ।

ପିଏମଶ୍ରୀ ସ୍କୁଲ ଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ । ଏହି ସ୍କୁଲ ଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହିତ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ । ପିଏମ ଶ୍ରୀ ସ୍କୁଲରେ ସମସ୍ତ ଛାତ୍ରଛାତ୍ରୀଙ୍କ ଯତ୍ନ ନିଆଯିବା ସହ ସେମାନଙ୍କ ପାଠପଢା ପାଇଁ ଉତ୍ତମ ଭିତ୍ତିଭୂମି ଏବଂ ଉପଯୁକ୍ତ ସମ୍ବଳ ସହିତ ଅନେକ ଅଭିଜ୍ଞତା ଆଧାରିତ ଶିକ୍ଷା ପ୍ରଦାନ କରାଯିବ । ପିଏମ ଶ୍ରୀ ସ୍କୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରାଥମିକତାରେ ରହିଛି । ଜାତୀୟ ଶିକ୍ଷା ନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ପିଏମ ଶ୍ରୀ ସ୍କୁଲ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ଭାରତକୁ ଜ୍ଞାନଭିତ୍ତିକ ସମାଜରେ ପରିଣତ କରିବ । ଏହି ସ୍କୁଲ ଅତ୍ୟାଧୁନିକ ଓ ସାମଗ୍ରିକ ପଦ୍ଧତିରେ ଶିକ୍ଷାଦାନ ପ୍ରଦାନ କରିବ । ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯିବ । ଜାତୀୟ ଶିକ୍ଷା ନୀତିର ପ୍ରୟୋଗଶାଳା ଭାବରେ ଏହି ସ୍କୁଲ ନିଜର ଅଭିଜ୍ଞତା, ସାମଗ୍ରିକ, ଆଲୋଚନାତ୍ମକ ପଦ୍ଧତି ଏବଂ ଶିକ୍ଷଣ କେନ୍ଦ୍ରୀତ ପଦ୍ଧତି ମାଧ୍ୟମରେ ଏକବିଂଶ ଶତାବ୍ଦୀର କୌଶଳ, ମାନବବାଦୀ ଦୃଷ୍ଟିକୋଣ, ବ୍ୟକ୍ତିତ୍ୱ ଗଠନ କରିବାରେ ସହାୟକ ହେବ ।

ମୋଦୀ ସରକାରଙ୍କ ଦ୍ୱାରା ଦେଶବ୍ୟାପୀ ସ୍କୁଲ ଗୁଡ଼ିକୁ ଗୁଣାତ୍ମକ ଭାବେ ମଜଭୂତ କରିବା ପାଇଁ କରାଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବ ପିଏମ ଶ୍ରୀ ସ୍କୁଲ । ଏହି ପଦକ୍ଷେପ ଓଡ଼ିଶା ଦେଶର ଲକ୍ଷାଧିକ ଛାତ୍ରଛାତ୍ରୀଙ୍କୁ ଲାଭ ଦେବ । ସ୍କୁଲରେ ଶିକ୍ଷାଦାନ ଓ ଶିକ୍ଷାଗ୍ରହଣ ଟେକ୍ନୋଲୋଜି ଆଧାରିତ ହେବ । ଆଇସିଟି, ଡ଼ିଜିଟାଲ ଲ୍ୟାବ, ଡିଜିଟାଲ ଲାଇବ୍ରେରୀ, ଡିଜିଟାଲ ଲର୍ଣ୍ଣିଂ ଟୁଲ୍ସ ବ୍ୟବସ୍ଥା ରହିବ । ବାଲବାଟିକାରେ ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷା ରହିବ । ମାତୃଭାଷାକୁ ପ୍ରାଧାନ୍ୟ ଦେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାଷା ଦୂରତାକୁ ହ୍ରାସ କରିବ । ସମଗ୍ର ଭାରତବର୍ଷରେ ବିକଶିତ ଓ ନବୀକରଣ ହେବାକୁ ଥିବା ପିଏମ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ଭାବରେ ବିବେଚିତ ହେବ ।

ଅଧିକ ପଢ଼ନ୍ତୁ

ରାଜସ୍ଥାନ ଟୋଙ୍କରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ହୁଗୁଳୀରେ ସଫଳ ହେଲା ସମ୍ରିଦ୍ଧ କିସାନ ଉତ୍ସବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)